ଇଲୀଫସ୍-ଆୟୁବଠାରେ ପରମେଶ୍ୱରଙ୍କ ଭୟ ନାହିଁ
1ଏଥିଉତ୍ତାରେ ତୈମନୀୟ ଇଲୀଫସ୍ ଉତ୍ତର କରି କହିଲା,
2“ଜ୍ଞାନୀ ଲୋକ କʼଣ ଅସାର ଜ୍ଞାନରେ ଉତ୍ତର ଦେବ?
ଓ ପୂର୍ବୀୟ ବାୟୁରେ ଆପଣା ଉଦର ପୂର୍ଣ୍ଣ କରିବ?
3ସେ କʼଣ ଅନର୍ଥକ କଥାରେ
ଓ ନିଷ୍ଫଳ ବାକ୍ୟରେ ଯୁକ୍ତି କରିବ?
4ହଁ, ତୁମ୍ଭେ ତ ଭୟ ଦୂର କରି ଦେଉଅଛ
ଓ ପରମେଶ୍ୱରଙ୍କ ସାକ୍ଷାତରେ ଭକ୍ତି କ୍ଷୀଣ କରୁଅଛ।
5କାରଣ ତୁମ୍ଭର ଅପରାଧ ତୁମ୍ଭ ମୁଖକୁ ଶିଖାଉଅଛି
ଓ ତୁମ୍ଭେ ଧୂର୍ତ୍ତର ଜିହ୍ୱା ପସନ୍ଦ କରୁଅଛ।
6ତୁମ୍ଭର ନିଜ ମୁଖ ତୁମ୍ଭକୁ ଦୋଷୀ କରୁଅଛି, ମୁଁ କରୁ ନାହିଁ;
ଆହୁରି, ତୁମ୍ଭ ନିଜ ଓଷ୍ଠାଧର ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଉଅଛି।
7ମନୁଷ୍ୟମାନଙ୍କ ମଧ୍ୟରେ ତୁମ୍ଭେ କʼଣ ପ୍ରଥମଜାତ?
ଅବା ପର୍ବତଗଣ ପୂର୍ବରୁ ତୁମ୍ଭେ କʼଣ ଉତ୍ପନ୍ନ ହୋଇଥିଲ?
8ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ?
ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍ କରୁଅଛ?
9ଆମ୍ଭମାନଙ୍କୁ ଅଜଣା କେଉଁ କଥା ତୁମ୍ଭେ ଜାଣୁଅଛ?
ଆମ୍ଭମାନଙ୍କର ଅବୁଝା କେଉଁ କଥା ତୁମ୍ଭେ ବୁଝୁଅଛ?
10ପକ୍ୱକେଶ ବିଶିଷ୍ଟ ଓ ତୁମ୍ଭ ପିତା ଅପେକ୍ଷା ପ୍ରାଚୀନ ଅତି ବୃଦ୍ଧ ଲୋକେ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି।
11ପରମେଶ୍ୱରଙ୍କ ସାନ୍ତ୍ୱନା-ବାକ୍ୟ ତୁମ୍ଭ ପ୍ରତି କି କ୍ଷୁଦ୍ର ବିଷୟ
ଓ ତୁମ୍ଭ ସହିତ କୋମଳ ଆଳାପ କି ତଦ୍ରୂପ?
12ତୁମ୍ଭ ମନ ତୁମ୍ଭକୁ କାହିଁକି ବିପଥରେ ନେଇଯାଏ?
ଓ ତୁମ୍ଭର ଚକ୍ଷୁ କାହିଁକି ମଟ୍ମଟ୍ କରେ
13ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ
ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?
14ମନୁଷ୍ୟ କିଏ ଯେ, ସେ ଶୁଚି ହୋଇପାରେ?
ଓ ସ୍ତ୍ରୀଜାତ ମନୁଷ୍ୟ କିଏ ଯେ, ସେ ଧାର୍ମିକ ହୋଇପାରେ?
15ଦେଖ, ସେ ଆପଣା ପବିତ୍ରଗଣଠାରେ ବିଶ୍ୱାସ କରନ୍ତି ନାହିଁ;
ଆହୁରି, ତାହାଙ୍କ ଦୃଷ୍ଟିରେ ଆକାଶମଣ୍ଡଳ ନିର୍ମଳ ନୁହେଁ।
16ତେବେ ଘୃଣାର୍ହ ଓ ଭ୍ରଷ୍ଟ,
ଅଧର୍ମକୁ ଜଳ ପରି ପାନକାରୀ ଯେ ମନୁଷ୍ୟ, ସେ କେଡ଼େ ନ୍ୟୂନ!
17ମୁଁ ତୁମ୍ଭକୁ ଦେଖାଇବି, ମୋʼ କଥା ଶୁଣ;
ମୁଁ ଯାହା ଦେଖିଅଛି, ତାହା ପ୍ରକାଶ କରିବି;
18ଜ୍ଞାନୀମାନେ ଆପଣା ଆପଣା ପିତୃଲୋକଙ୍କଠାରୁ ତାହା ପାଇ କହିଅଛନ୍ତି
ଓ ଗୁପ୍ତ କରି ନାହାନ୍ତି;
19କେବଳ ସେମାନଙ୍କୁ ଦେଶ ଦତ୍ତ ହୋଇଥିଲା
ଓ କୌଣସି ବିଦେଶୀ ସେମାନଙ୍କ ମଧ୍ୟରେ ଗତାୟାତ କଲା ନାହିଁ;
20ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ,
ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷ ଯାଏ କ୍ଳେଶ ଭୋଗ କରେ।
21ତାହାର କର୍ଣ୍ଣରେ ତ୍ରାସଜନକ ଶବ୍ଦ ଥାଏ,
ସୌଭାଗ୍ୟ ସମୟରେ ଲୁଣ୍ଠନକାରୀ ତାହାକୁ ଆକ୍ରମଣ କରିବ;
22ସେ ଅନ୍ଧକାରରୁ ଫେରି ଆସିବ ବୋଲି ବିଶ୍ୱାସ କରେ ନାହିଁ
ଓ ସେ ଖଡ୍ଗ ନିମନ୍ତେ ଅପେକ୍ଷିତ;
23ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ?
ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।
24ସଙ୍କଟ ଓ ମନସ୍ତାପ ତାହାକୁ ଭୀତ କରେ;
ଯୁଦ୍ଧାର୍ଥେ ସସଜ୍ଜ ରାଜା ତୁଲ୍ୟ ତାହା ତାହାକୁ ପରାସ୍ତ କରେ;
25କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛି
ଓ ସର୍ବଶକ୍ତିମାନଙ୍କ ପ୍ରତିକୂଳରେ ଗର୍ବାଚରଣ କରୁଅଛି;
26ସେ ଶକ୍ତଗ୍ରୀବ ହୋଇ ଆପଣା ଢାଲର ସ୍ଥୂଳ ଅଂଶ ଦେଖାଇ
ତାହାଙ୍କ ଉପରକୁ ଦୌଡ଼େ;
27ସେ ଆପଣା ମେଦରେ ଆପଣା ମୁଖ ଆଚ୍ଛାଦନ କଲା
ଓ କଟିଦେଶ ହୃଷ୍ଟପୁଷ୍ଟ କଲା;
28ଆଉ, ସେ ଉଜାଡ଼-ନଗରରେ ନିବାସୀରହିତ
ଓ ଢିପି ହେବାକୁ ଉଦ୍ୟତ ଗୃହରେ ବାସ କଲା।
29ଏଣୁ ସେ ଧନବାନ ହେବ ନାହିଁ, ଅବା ତାହାର ସମ୍ପତ୍ତି ସ୍ଥାୟୀ ହେବ ନାହିଁ;
କିଅବା ସେମାନଙ୍କର ଉତ୍ପନ୍ନ ଫଳ ଭୂମିକୁ ଓହଳିବ ନାହିଁ।
30ସେ ଅନ୍ଧକାରରୁ ପ୍ରସ୍ଥାନ କରିବ ନାହିଁ,
ଅଗ୍ନିଶିଖା ତାହାର ଶାଖା ଶୁଷ୍କ କରିବ
ଓ ପରମେଶ୍ୱରଙ୍କ ମୁଖର ନିଶ୍ୱାସରେ ସେ ଉଡ଼ିଯିବ।
31ସେ ଆପଣାକୁ ଭ୍ରାନ୍ତ କରି ଅସାରତାରେ ବିଶ୍ୱାସ ନ କରୁ;
କାରଣ ଅସାରତା ହିଁ ତାହାର ପୁରସ୍କାର ହେବ।
32ତାହା ଆପଣା ସମୟ ପୂର୍ବେ ଶେଷ ପାଇବ
ଓ ତାହାର ଶାଖା ସତେଜ ହେବ ନାହିଁ।
33ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ
ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।
34କାରଣ ଅଧାର୍ମିକମାନଙ୍କ ସଙ୍ଗୀଦଳ ଅଫଳ ହେବେ
ଓ ଅଗ୍ନି ଲାଞ୍ଚର ତମ୍ବୁସବୁ ଗ୍ରାସ କରିବ।
35ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି
ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।”