ଆୟୁବ - ପରମେଶ୍ୱରଙ୍କ ମହିମା ଅସୀମ
1ତହିଁରେ ଆୟୁବ ଉତ୍ତର କରି କହିଲା,
2“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ!
ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!
3ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ
ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!
4ତୁମ୍ଭେ କାହାକୁ କଥା କହୁଅଛ?
ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”
5“ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି
ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।
6ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ
ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ।
7ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି
ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।
8ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି
ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।
9ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି
ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।
10ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ
ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।
11ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ
ଓ ଚମତ୍କୃତ ହୁଅନ୍ତି।
12ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି
ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।
13ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ;
ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।
14ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର;
ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ!
ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”