1ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ;
ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।
2ସତ୍ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ,
ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ।
3ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ,
କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।
4ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ;
ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ।
5ଧାର୍ମିକମାନଙ୍କର ସଂକଳ୍ପ ଯଥାର୍ଥ;
ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ।
6ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି,
ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ।
7ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି,
ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ।
8ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ,
ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।
9ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି,
ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।
10ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ,
ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର।
11ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ;
ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
12ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ;
ମାତ୍ର ଧାର୍ମିକର ମୂଳ ଫଳଦାୟକ।
13ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ,
ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
14ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ,
ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ।
15ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ;
ମାତ୍ର ଯେ ଜ୍ଞାନବାନ, ସେ ପରାମର୍ଶ ଶୁଣେ।
16ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ;
ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ।
17ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ;
ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
18କାହାର କାହାର ବାଚାଳତା ଖଡ୍ଗାଘାତ ପରି;
ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
19ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ;
ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।
20ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ;
ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ।
21ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ;
ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ।
22ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ;
ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର।
23ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ;
ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
24କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ;
ମାତ୍ର ଅଳସୁଆ ଲୋକ ବେଠି କରିବ।
25ମନୁଷ୍ୟର ଚିନ୍ତା ମନକୁ ନତ କରେ;
ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ।
26ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ;
ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ।
27ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ;
ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ।
28ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁୁ ନ ଥାଏ।