1ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା
ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।
2ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ,
ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।
3କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ;
ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
4କୁକ୍ରିୟାକାରୀ ଲୋକ ଦୁଷ୍ଟ ଓଷ୍ଠାଧରର କଥା ଶୁଣେ,
ପୁଣି, ମିଥ୍ୟାବାଦୀ ହିଂସ୍ର ଜିହ୍ୱାରେ କର୍ଣ୍ଣପାତ କରେ।
5ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ;
ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
6ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ;
ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
7ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ,
ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
8ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ,
ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
9ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ;
ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
10ମୂର୍ଖକୁ ଶହେ ମାଡ଼ ଅପେକ୍ଷା
ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।
11ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ,
ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ,
ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
13ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ,
ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି;
ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ,
ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ?
ତାହାର ତ ବୁଦ୍ଧି ନାହିଁ।
17ବନ୍ଧୁ ସବୁବେଳେ ପ୍ରେମ କରେ,
ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ।
18ନିର୍ବୋଧ ଲୋକ ହାତ ଦେଇ
ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
19ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ;
ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
20ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ;
ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
21ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ;
ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
22ଆନନ୍ଦିତ ହୃଦୟ ଉତ୍ତମ ଔଷଧ;
ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
23ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ
ଅଣ୍ଟାରୁ ଲାଞ୍ଚ ନିଏ।
24ବୁଦ୍ଧିମାନର ସମ୍ମୁଖରେ ଜ୍ଞାନ ଥାଏ,
ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।
25ମୂର୍ଖ ପୁତ୍ର ଆପଣା ପିତାର ଶୋକ
ଓ ଆପଣା ଜନନୀର ଦୁଃଖର କାରଣ ହୁଏ।
26ଧାର୍ମିକକୁ ଶାସ୍ତି ଦେବାର
ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।
27ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ;
ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।
28ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ;
ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।