5 ପଞ୍ଚମ ଖଣ୍ଡ
୧୦୭
ମଙ୍ଗଳମୟ ସଦାପ୍ରଭୁଙ୍କର ସ୍ତୁତି
୧ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; କାରଣ ସେ ମଙ୍ଗଳମୟ;
ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
୨ ସେ ଯେଉଁମାନଙ୍କୁ ବିପକ୍ଷର ହସ୍ତରୁ ମୁକ୍ତ କରିଅଛନ୍ତି
ଓ ନାନା ଦେଶରୁ, ପୂର୍ବ ଓ ପଶ୍ଚିମରୁ,
୩ ଉତ୍ତର ଓ ଦକ୍ଷିଣରୁ ସଂଗ୍ରହ କରିଅଛନ୍ତି,
ସଦାପ୍ରଭୁଙ୍କ ସେହି ମୁକ୍ତ ଲୋକମାନେ ତାହା କହନ୍ତୁ।
୪ ସେମାନେ ପ୍ରାନ୍ତରରେ ନିର୍ଜ୍ଜନ ପଥରେ ଭ୍ରମଣ କଲେ;
ସେମାନେ କୌଣସି ବସତି-ନଗର ପାଇଲେ ନାହିଁ।
୫ କ୍ଷୁଧିତ ଓ ତୃଷିତ ହୋଇ
ସେମାନଙ୍କର ପ୍ରାଣ ସେମାନଙ୍କ ଅନ୍ତରରେ ମୂର୍ଚ୍ଛିତ ହେଲା।
୬ ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ,
ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କଲେ।
୭ ଆହୁରି, ସେମାନେ ଯେପରି ବସତି-ନଗରକୁ ଯାଇ ପାରିବେ,
ଏଥିପାଇଁ ସେ ସେମାନଙ୍କୁ ସଳଖ ପଥରେ ଘେନି ଗଲେ।
୮ ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ
ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
୯ ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି
ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।
୧୦ କେହି କେହି ପରମେଶ୍ୱରଙ୍କ ବାକ୍ୟର ବିରୁଦ୍ଧାଚରଣ
ଓ ସର୍ବୋପରିସ୍ଥଙ୍କ ମନ୍ତ୍ରଣା ତୁଚ୍ଛ କରିବା ସକାଶୁ,
୧୧ ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ;
୧୨ ସେ ସେମାନଙ୍କ ହୃଦୟକୁ କ୍ଳେଶରେ ଅବନତ କଲେ;
ସେମାନେ ପତିତ ହେଲେ ଓ ସାହାଯ୍ୟ କରିବାକୁ କେହି ନ ଥିଲା।
୧୩ ତେବେ ସେମାନେ ଆପଣାମାନଙ୍କ ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କଲେ,
ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କଲେ।
୧୪ ସେ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାରୁ ସେମାନଙ୍କୁ ବାହାର କରି ଆଣିଲେ
ଓ ସେମାନଙ୍କ ବନ୍ଧନ ଛେଦନ କଲେ।
୧୫ ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ
ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ !
୧୬ ଯେହେତୁ ସେ ପିତ୍ତଳ-ଦ୍ୱାର ଭାଙ୍ଗିଅଛନ୍ତି
ଓ ଲୌହ-ଅର୍ଗଳ କାଟି ପକାଇଅଛନ୍ତି।
୧୭ ମୂର୍ଖମାନେ ଆପଣା ଆପଣା ଅପରାଧ ଓ
ଅଧର୍ମାଚରଣ ସକାଶୁ କ୍ଳେଶ ପାଆନ୍ତି।
୧୮ ସେମାନଙ୍କ ପ୍ରାଣ ସର୍ବପ୍ରକାର ଖାଦ୍ୟଦ୍ରବ୍ୟ ଘୃଣା କରଇ
ଓ ସେମାନେ ମୃତ୍ୟୁୁଦ୍ୱାରର ନିକଟବର୍ତ୍ତୀ ହୁଅନ୍ତି।
୧୯ ତେବେ ସେମାନେ ଆପଣା ଆପଣା ସଙ୍କଟ
ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି,
ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ତ୍ରାଣ କରନ୍ତି।
୨୦ ସେ ଆପଣା ବାକ୍ୟ ପଠାଇ ସେମାନଙ୍କୁ ସୁସ୍ଥ କରନ୍ତି,
ପୁଣି, ବିନାଶରୁ ସେମାନଙ୍କୁ ଉଦ୍ଧାର କରନ୍ତି।
୨୧ ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ
ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
୨୨ ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ
ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।
୨୩ ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି,
ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି,
୨୪ ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ
ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି।
୨୫ ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ,
ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ।
୨୬ ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି;
ବିପଦ ସକାଶୁ ଲୋକମାନଙ୍କ* ଲୋକମାନଙ୍କ ଅର୍ଥାତ୍ ନାବିକମାନଙ୍କ ପ୍ରାଣ ତରଳି ଯାଏ।
୨୭ ସେମାନେ ମତ୍ତଲୋକ ପରି ଏଣେତେଣେ ଦୋହଲି ଢଳି ପଡ଼ନ୍ତି
ଓ ସେମାନଙ୍କ ବୁଦ୍ଧି ହଜିଯାଏ।
୨୮ ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି,
ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି।
୨୯ ସେ ବତାସକୁ ସୁସ୍ଥିର କରନ୍ତି,
ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ।
୩୦ ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି;
ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି।
୩୧ ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ
ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ !
୩୨ ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ
ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।
୩୩ ସେ ନଦନଦୀକୁ ପ୍ରାନ୍ତର ଓ ନିର୍ଝରସକଳକୁ ଶୁଷ୍କ ଭୂମି କରନ୍ତି।
୩୪ ସେ ଦେଶନିବାସୀମାନଙ୍କ ଦୁଷ୍ଟତା ସକାଶୁ
ଉର୍ବରା ଦେଶକୁ ଲବଣ-ପ୍ରାନ୍ତର କରନ୍ତି।
୩୫ ସେ ପ୍ରାନ୍ତରକୁ ଜଳାଶୟ ଓ
ଶୁଷ୍କ ଭୂମିକୁ ଝରମୟ କରନ୍ତି।
୩୬ ପୁଣି, କ୍ଷୁଧିତ ଲୋକମାନେ ଯେପରି ବସତି-ନଗର ନିର୍ମାଣ କରିବେ
ଓ କ୍ଷେତ୍ରରେ ବୀଜ ବପନ ଓ ଦ୍ରାକ୍ଷାଲତା ରୋପଣ କରିବେ
୩୭ ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ,
ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।
୩୮ ଆହୁରି, ସେ ସେମାନଙ୍କୁ ଆଶୀର୍ବାଦ କରନ୍ତି,
ତହିଁରେ ସେମାନେ ଅତିଶୟ ବୃଦ୍ଧି ପାଆନ୍ତି;
ପୁଣି, ସେ ସେମାନଙ୍କ ପଶୁପଲ ଊଣା ହେବାକୁ ଦିଅନ୍ତି ନାହିଁ।
୩୯ ପୁନର୍ବାର ସେମାନେ ଉପଦ୍ରବ, ବିପଦ ଓ ଶୋକ ଦ୍ୱାରା
ନ୍ୟୁନୀକୃତ ଓ ଅବନତ ହୁଅନ୍ତି।
୪୦ ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳି ଦିଅନ୍ତି,
ପୁଣି, ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
୪୧ ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି
ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।
୪୨ ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ;
ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।
୪୩ ଯେ ଜ୍ଞାନବାନ, ସେ ଏହିସବୁ ବିଷୟରେ ମନୋଯୋଗ କରିବ,
ପୁଣି, ସେମାନେ ସଦାପ୍ରଭୁଙ୍କ ବିବିଧ ଦୟା ବିବେଚନା କରିବେ।

*୧୦୭:୨୬ ଲୋକମାନଙ୍କ ଅର୍ଥାତ୍ ନାବିକମାନଙ୍କ