୪୦
ସ୍ତୁତିଗାନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
୧ ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା
କଲି;
ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।
୨ ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା
କାଦୁଅରୁ ଉଠାଇ ଆଣିଲେ
ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର
ପାଦଗତି ଦୃଢ଼ କଲେ।
୩ ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ
ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି;
ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି,
ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ।
୪ ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ,
ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର
କରେ ନାହିଁ, ସେ ଧନ୍ୟ।
୫ ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ
ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ
ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ;
ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ
ଗଣନା କରାଯାଇ ନ ପାରେ।
୬ ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ;
ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ;
ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।
୭ ତେବେ ମୁଁ କହିଲି, “ଦେଖ, ମୁଁ ଉପସ୍ଥିତ;
ଶାସ୍ତ୍ରରେ ମୋହର ବିଷୟ ଲିଖିତ ଅଛି।
୮ ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ
କରିବାକୁ ମୋହର ସନ୍ତୋଷ;
ତୁମ୍ଭ ବ୍ୟବସ୍ଥା ମୋ’ ହୃଦୟରେ ଅଛି।”
୯ ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି;
ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ
ସଦାପ୍ରଭୁ, ତୁମ୍ଭେ ଜାଣୁଅଛ।
୧୦ ମୁଁ ତୁମ୍ଭ ଧାର୍ମିକତା ଆପଣା ହୃଦୟରେ ଗୋପନ
କରି ନାହିଁ;
ମୁଁ ତୁମ୍ଭର ବିଶ୍ୱସ୍ତତା ଓ ତୁମ୍ଭର ପରିତ୍ରାଣ ପ୍ରଚାର କରିଅଛି;
ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା
ମହାସମାଜଠାରୁ ଗୁପ୍ତ ରଖି ନାହିଁ।
୧୧ ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଆପଣା ଦୟା
ରୁଦ୍ଧ କର ନାହିଁ;
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ମୋତେ
ନିରନ୍ତର ରକ୍ଷା କରୁ।
୧୨ କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି,
ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ
ମୁଁ ଉପରକୁ ଅନାଇ ପାରୁ ନାହିଁ;
ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର
ହୃଦୟ ମୋତେ ପରିତ୍ୟାଗ କରିଅଛି।
୧୩ ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର;
ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।
୧୪ ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ
ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ;
ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ
ଅପମାନିତ ହେଉନ୍ତୁ।
୧୫ ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ
ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।
୧୬ ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ
ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ;
ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ
ନିରନ୍ତର କହନ୍ତୁ,
ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।
୧୭ ମାତ୍ର ମୁଁ ଦରିଦ୍ର ଓ ଦୀନହୀନ;
ତଥାପି ପ୍ରଭୁ ମୋ’ ବିଷୟ ଚିନ୍ତା କରନ୍ତି;
ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ;
ହେ ମୋହର ପରମେଶ୍ୱର, ବିଳମ୍ବ କର ନାହିଁ।